ବଙ୍ଗୋପସାଗରରେ ଲଘୁଚାପ, ସବୁ ଜିଲ୍ଲାରେ ହେବ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏକ୍ସ ଜରିଆରେ ସୂଚନା ଦିଆଯାଇଛି । ଏହି ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ଏକାଧିକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରବାହ ଦକ୍ଷିଣ ଓଡ଼ିଶାରେ ବେଶୀ ପଡ଼ିବ । ଏହା ପ୍ରଭାବରେ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।