୨୫ରେ ଆସୁଛି ପୁଣି ଏକ ଲଘୁଚାପ
ପୁଣି ଆସୁଛି ଲଘୁଚାପ । ୨୫ରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ । ଏପଟେ ଉତ୍ତର ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ।ବାକି ୨୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖରୁ ରାଜ୍ୟରେ ବଢିବ ବର୍ଷା ପରିମାଣ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ହାରାହାରି ୭୬୪.୦ ମିଲିମିଟର ବର୍ଷା ହୋଇଛି । ଦୁଇଟି ଜିଲ୍ଲାରେ ଅତ୍ୟଧିକ ବର୍ଷା ଓ ୨୧ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି । ବାକି ୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଚିନ୍ତାର କାରଣ ପାଲଟିଛି ।
