୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ ଆଜିର ଦିନ

ଡିସେମ୍ବର ୨୨, ୨୦୨୩ର ସବୁଠାରୁ ଛୋଟ ଦିନ

ଡିସେମ୍ବର ୨୨ ଶୁକ୍ରବାର ଚଳିତ ବର୍ଷର ସବୁଠାରୁ ଛୋଟ ଦିନ । ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏଥିପାଇଁ ଏହାବର୍ଷର “ସବୁଠାରୁ ଛୋଟ ଦିନ” ହୋଇଥାଏ । ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଉତ୍ତର ମେରୁରେ ଶୀତଦିନ ଆରମ୍ଭ ହୁଏ । ଫଳରେ ଦକ୍ଷିଣ ମେରୁରେ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ । ମାର୍ଚ୍ଚ ମାସ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ରହେ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ସତ । ସମୟ ଓ ଋତୁଚକ୍ରର ପରିବର୍ତ୍ତନ ଯୋଗୁଁ ଏହା ଘଟିଥାଏ ।

ଭୁବନେଶ୍ୱର ପାଇଁ ଚଳିତ ବର୍ଷ ଡିସେମ୍ବର ୨୨ ତାରିଖରେ ସବୁଠାରୁ ଛୋଟ ଦିନ, ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ହେବ। ସେହିଭଳି ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। କିନ୍ତୁ ଭୁବନେଶ୍ୱରରେ ଡିସେମ୍ବର ୧୬ରୁ ଡିସେମ୍ବର ୨୮ ପ୍ରାୟ ୧୨ ଦିନ ଧରି ଦିନ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା୫ ମିନିଟ୍ ହୁଏ। ଡିସେମ୍ବର ୨୨ ତାରିଖରେ ସୁନ୍ଦରଗଡ ଓ ମାଲକାନଗିରିଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୪୭ ମିନିଟ୍ ଓ ୧୧ ଘଣ୍ଟା ୦୧ ମିନିଟ୍ ହେବ। ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ।

ସୂର୍ଯ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ବୁଲିବା ସହ ନିଜ ଅକ୍ଷ ଚାରିପଟେ ମଧ୍ୟ ଘୂରୁଛି। ସେଥିପାଇଁ ସୂର୍ଯ୍ୟ ସବୁଦିନ ସମାନ ସ୍ଥାନରୁ ଉଦୟ ହୁଅନ୍ତି ନାହିଁ ବା ଏକା ଜାଗାରେ ଅସ୍ତ ଯାଆନ୍ତି ନାହିଁ । ସୂର୍ଯ୍ୟର ଉତ୍ତରାୟଣ ଓ ଦକ୍ଷିଣାୟଣ ଗତି ମଧ୍ୟ ଦେଖାଯାଇଥାଏ । ପ୍ରତ୍ୟେକ ବର୍ଷ ଜୁନମାସ ୨୧ ତାରିଖରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟ କ୍ରାନ୍ତି ଉପରେ ରହିଥାଏ।

ସେହିଠାରୁ ଧୀରେ ଧୀରେ ଦକ୍ଷିଣ ଦିଗକୁ ଗତି କରି ଥାଏ ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ । ଏହିପରି ଦକ୍ଷିଣ ଦିଗକୁ ଢଳି ଢଳି ୨୨ ଡିସେମ୍ବର ବେଳକୁ ସୂର୍ଯ୍ୟ ବିଷୁବ ରେଖା ଠାରୁ ୨୩.୫ ଡିଗ୍ରୀ ଦକ୍ଷିଣ ରେ ଥିବା ମକର କ୍ରାନ୍ତିରେ ପହଞ୍ଚିଥାଏ । ସୂର୍ଯ୍ୟ ମକର କ୍ରାନ୍ତି ଉପରେ ଗତି କରି ଥାଏ । ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ ।