ଆତ୍ମସମର୍ପଣ କଲେ ଜଗନ୍ନାଥ, ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ

ଆତ୍ମସମର୍ପଣ କଲେ ଜଗନ୍ନାଥ। ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ। ତିନି ଦିନ ହେଲା ଚାଲିଥିବା ହାଇଡ୍ରାମାର ଅନ୍ତ ଘଟିଛି। ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ମାଡ଼ ମରାଯିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ରାତିରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ ପୁଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିରେ ଉତ୍‌କ୍ଷିପ୍ତ ହୋଇଛନ୍ତି ଜଗନ୍ନାଥଙ୍କ ସମର୍ଥକ। ରାତି ପ୍ରାୟ ୧୦ଟା ବେଳେ ଭୁବନେଶ୍ବରର ଜନପଥ ଓ ଜାତୀୟ ରାଜପଥ ଅବରୋଧ କରିଥିଲେ। ଅଘଟଣ ଆଶଙ୍କାରେ ରାଜଧାନୀର ବିଭିନ୍ନ ଜାଗାରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଅନ୍ୟପଟେ ଜଗନ୍ନାଥଙ୍କ ଗିରଫ ପରେ ଓଏଏସ୍‌ ସଂଘ ତା’ର ଆନ୍ଦୋଳନ ପ୍ରତ୍ୟାହାର କରି ନେଇଛି।

ଏହି ମାଡ଼ ଘଟଣାରେ ରାଜ୍ୟ ସରକାର ଓ ଓଏଏସ୍‌ ଅଧିକାରୀ ସଂଘ ମୁହାଁମୁହିଁ ସ୍ଥିତିକୁ ଆସିଯାଇଥିଲେ। ଜଗନ୍ନାଥ ପ୍ରଧାନ ମୁଖ୍ୟ ଷଡ଼୍‌ଯନ୍ତ୍ରକାରୀ ବୋଲି ସଂଘ ଅଭିଯୋଗ କରିବା ସହ ତାଙ୍କର ଗିରଫ ଦାବିରେ ଅଟଳ ରହିଥିଲା। ଫଳରେ ପ୍ରଶାସନିକ ଅଚଳାବସ୍ଥା ତୃତୀୟ ଦିନରେ ପହଞ୍ଚିଥିଲା। ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ଲୋକମାନେ ହଇରାଣ ହୋଇଥିଲେ। ତେବେ ଆଜି ସକାଳୁ ଜଗନ୍ନାଥଙ୍କୁ ଗିରଫ ନିଷ୍ପତ୍ତି ନେବା ମୁଡ୍‌ରେ ସରକାର ନ ଥିଲେ। ଓଏଏସ୍‌ ଅଧିକାରୀଙ୍କୁ ଆନ୍ଦୋଳନ ପ୍ରତ୍ୟାହାର କରିବା ପାଇଁ ରାଜସ୍ବ ମନ୍ତ୍ରୀ ନିବେଦନ କରିଥିଲେ। କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ ଓଏଏସ୍‌ ସଂଘ ତା’ର ଜିଦ୍‌ରୁ ଓହରି ନଥିଲା। ଏହା ପରେ ବିଜେପି ଓ ସରକାରଙ୍କ ଶୀର୍ଷସ୍ତରରେ ବୈଠକ ବସି ଜଗନ୍ନାଥଙ୍କୁ ଆତ୍ମସମର୍ପଣ ପାଇଁ କୁହାଯାଇଥିଲା।