ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହ

ଆଜିଠୁ ମିଳିବ ଆଡ଼ପ ଅବଢ଼ା

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜିଠୁ ମିଳିବ ଆଡ଼ପ ଅବଢ଼ା। ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ। ରଥରେ ଗଡ଼ିବା ବେଳେ ବିଳମ୍ବ କଲେ, କିନ୍ତୁ ରଥରୁ ପହଣ୍ଡି ବେଳେ ସଅଳ ସଅଳ ଆଗେଇ ଚାଲିଲେ। ଭକ୍ତଙ୍କ ମେଳରେ ଦୁଇଦିନ ଲୀଳାଖେଳା କରିବା ପରେ ଭାଇଭଉଣୀଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି। ଗୋଟି ପହଣ୍ଡିରେ ଏହି ନୀତି ଅନୁଷ୍ଠିତ ହୋଇଛି। ପ୍ରଥମେ ଶ୍ରୀବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିଥିଲେ। ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଛି ଶ୍ରୀକ୍ଷେତ୍ର। ପହଣ୍ଡି ୬ଟା ୫୦ରେ ଆରମ୍ଭ ହୋଇଥିଲା। ୯ଟା ୩୫ ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ବାଡ଼ିରେ ପ୍ରବେଶ କରିସାରିଥିଲେ।

ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ମଣ୍ଡପରେ ଅଧିଷ୍ଠିତ ହେବା ସ୍ବୟଂ ମହାପ୍ରଭୁଙ୍କ ନିର୍ଦ୍ଦେଶ ବୋଲି ଶାସ୍ତ୍ର ବିଦିତ। ଆଡ଼ପ ମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ଜନ୍ମବେଦି ଯୋଗ କୁହାଯାଏ। ଜନ୍ମବେଦି ମହାପ୍ରଭୁଙ୍କ ପୃଥିବୀର ସବୁଠାରୁ ପ୍ରୀତିପଦ ସ୍ଥାନ ବୋଲି ପୁରାଣରେ ଉଲ୍ଲେଖ ରହିଛି। ଏଥିପାଇଁ ରଥାଯାତ୍ରାରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟିବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏଥିସହ ଶ୍ରୀମନ୍ଦିରରେ ଆଜିଠୁ ୬ ଦିନ ଧରି ଶ୍ରୀଗୁଣ୍ଡିଚା ମନ୍ଦିରରେ ମିଳିବ ଆଡ଼ପ ଅବଢ଼ା। ଗତକାଲି ରାତିରୁ ରୋଷ ପ୍ରସ୍ତୁତି ଆରମ୍ଭ ହୋଇଛି।