ଫଡନାଭିସ୍ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାଭିସ । କୋର୍ କମିଟି ବୈଠକରେ ଫଡ଼ନାଭିସ୍ ଙ୍କ ନାଁରେ ମୋହର ବାଜିଥିବା ଜଣାପଡିଛି। ଏଣେ ନୂଆ ସରକାର ଶପଥ ନେବାକୁ ସଜବାଜ ହେଲାଣି ।ତେବେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାବିସ୍ । ଶପଥ ଗ୍ରହଣ ସମାରୋହ ପାଇଁ ଜୋରଦାର ପ୍ରସ୍ତୁତି ହେଉଛି । ମହାୟୁତିର ମହା ବିଜୟ ପରେ ଏବେ ‘ମହା’ ମୁଖ୍ୟମନ୍ତ୍ରୀ ହେବେ ବର୍ତ୍ତମାନର ଉପମୁଖ୍ୟମନ୍ତ୍ରୀ ତଥା ମହାରାଷ୍ଟ୍ରରେ ବିଜେପିର ସେନାପତି ଦେବେନ୍ଦ୍ର ଫଡ଼ନାଭିସ୍ । କର୍ପୋରେଟରରୁ ନାଗପୁରର ସର୍ବକନିଷ୍ଠ ମେୟର ଏବଂ ୨୦୧୪ରେ ମହାରାଷ୍ଟ୍ରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ। କୁହାଯାଏ, ୨୦୨୨ ସତ୍ତାପଲଟ୍ ପଛରେ ବି ଥିଲା ଦେବେନ୍ଦ୍ର ଫଡ଼ନାଭିସଙ୍କ ପ୍ରମୁଖ ଭୂମିକା । ଏସବୁ ସତ୍ତ୍ବେ ସେତେବେଳେ ଡେପୁଟି ସିଏମ୍ ପଦ ପାଇଁ ରାଜି ହୋଇ, ଦଳକୁ କ୍ଷମତାକୁ ଆଣିବାକୁ ସେ ବଡ଼ ବଳିଦାନ ଦେଇଥିବା ଚର୍ଚ୍ଚା ହୁଏ ।
ଗତ ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ସିନ୍ଦେ ଇସ୍ତଫା ଦେଇଥିଲେ । ଏକନାଥ ସିନ୍ଦେ ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କ ନିକଟରେ ଇସ୍ତଫା ଦାଖଲ କରିଥିଲେ । ମହାୟୁତିର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ ଏକନାଥ । ଇସ୍ତଫା ଦେବା ସମୟରେ ସିନ୍ଦେଙ୍କ ସହ ଡେପୁଟି ସିଏମ୍ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ । ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଥିଲେ ।