ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଧୋଇ ହୋଇଯିବ ଗଣେଶ ପୂଜା, ୧୨ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା କି ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନାରେ ମିଳିଛି । ଏଥିସହ ସମୁଦ୍ର ପତ୍ତନରେ ମୌସୁମୀ ଲଘୁଚାପ ଏବେ ଜୈସଲମେର, ଆଜମେର, ଶିବପୁରୀ, ସିଦ୍ଧି, ଡାଲଟନଗଞ୍ଜ, ଦିଘା ଦେଇ ଦକ୍ଷିଣ-ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି । ଏସବୁର ପ୍ରଭାବରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ସେପ୍ଟେମ୍ବର, ମଙ୍ଗଳବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ଧରଣର ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।