ଆକ୍ସନ ମୁଡ୍‌ରେ ମୋହନ ସରକାର

ପଦରୁ ବିଦା ହେଲେ ବିଷ୍ଣୁପଦ

ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୋହନ ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି । ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ପନିସମେଂଟରେ ପଠାଇ ଦିଆଯାଇଛି ।ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି,ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଶ୍ରୀ ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତି କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଶ୍ରୀ ମିଶ୍ର ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ।ସେହିପରି ଆନ୍ତଃକ୍ୟାଡ଼ର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚ୍ ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀ ସାହୁଙ୍କୁ ରାଜ୍ୟ ସରକାରଙ୍କ ଅନୁରୋଧରେ କେନ୍ଦ୍ର ସରକାର ଓଡ଼ିଶା ପଠାଇଛନ୍ତି ।

Leave a Reply

Your email address will not be published. Required fields are marked *