ସକ୍ରିୟ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର । ତେଣୁ ବଢିବ ବର୍ଷାର ପରିମାଣ । ଆହୁରି ୪ଦିନ ପ୍ରବଳ ବର୍ଷିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଗତ କାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି |
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଆଜିଠୁ ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଏଥିପାଇଁ ୨୨ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ସେପଟେ ପାଗରେ ପରିବର୍ତ୍ତନ ହେବ ସହ ଆଗକୁ ରହିଚ୍ଚି ବ୍ୟାକ ଟୁ ବ୍ୟାକ ଲଘୁଚାପ । ଅର୍ଥାତ ଆସନ୍ତା ୨୯ ତାରିଖ ବେଳକୁ ପୁନଃ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଥିବା ଦେଖିବାକୁ ମିଳିଛି ।