ନୂଆ ବିଚାରପତି ହେବେ ଶିବ ଶଙ୍କର ମିଶ୍ର
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବିଶିଷ୍ଟ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ନିଯୁକ୍ତି ମିଳିବାକୁ ଯାଉଛି । ଶିବଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସ୍ବର୍ଗତ ଅନଙ୍ଗଭୀମ ମିଶ୍ର ଓ ସ୍ବର୍ଗତ ଶଶିରେଖା ମିଶ୍ରଙ୍କ ପୁଅ ଶିବଶଙ୍କର କୋରାପୁଟର ଜୟପୁର ଲ କଲେଜରୁ ଏଲଏଲବି ଡିଗ୍ରି ହାସଲ କରିଥିଲେ। କୋରାପୁଟ ଜିଲ୍ଲାର ପ୍ରଥମ ବ୍ୟକ୍ତିଭାବେ ସେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି। ଶ୍ରୀ ମିଶ୍ର ୧୯୯୧, ଡିସେମ୍ବର ୭ରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ତାଙ୍କର ଏହି ପେଶାରେ ୩୦ ବର୍ଷର ଅନୁଭବ ରହିଛି। ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ବିଶେଷ ଦକ୍ଷତା ରହିଛି। ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି। ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି।
