୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି ପାଇଁ ସଂଧ୍ୟା ୭ଟାରୁ ରାତ୍ର ୧୨ଟାପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ ।ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ । ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ ।
