‘ପ୍ରବାସୀ ଭାରତୀୟ ଦିବସ’ ରେ ଯୋଗଦେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି
୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ ପ୍ରମୁଖ ଯୋଗ ଦେବେ । ଏହି ସମାରୋହରେ ଦେଶବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ସମାରୋହର ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଓଡ଼ିଶାର ସମୃଦ୍ଧ କଳା,ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଂଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ସମସ୍ତଙ୍କୁ ନିବେଦନ କରିଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି । ସେହିପରି ବିଦେଶରୁ ଆସୁଥିବା ଅତିଥି ମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ । ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ ।
ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ । ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି । ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି । ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।